ଛତ୍ରପୁର, ୧୮/୧୧: ସମ୍ଭାବ୍ୟ ବାତ୍ୟା ‘ଅକବାନ’ର ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ସମେତ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି।
ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ନଭେମ୍ବର ୧୯ ଓ ୨୦ ତାରିଖରେ ଗଞ୍ଜାମ ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହାକୁ ଗୁରୁତ୍ୱର ସହ ନେଇ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ଜିଲ୍ଲାର ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ, ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବ। ତେବେ ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ମଧ୍ୟ ସମ୍ପୃକ୍ତ କର୍ମଚାରୀମାନେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ରହିଛି।ଅନ୍ୟପକ୍ଷରେ, ଆବଶ୍ୟକ ପଡ଼ିଲେ ଏହି ଶିକ୍ଷାନୁଷ୍ଠାନଗୁଡ଼ିକୁ ଅସ୍ଥାୟୀ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବ। ଏଥିନିମନ୍ତେ ପାନୀୟ ଜଳ, ବିଦ୍ୟୁତ୍ ସଂଯୋଗ, ପାୱାର ବ୍ୟାକ୍ଅପ୍ ଓ ପରିମଳ ବ୍ୟବସ୍ଥା ସମେତ ଆବଶ୍ୟକୀୟ ମୌଳିକ ସୁବିଧା ସୁନିଶ୍ଚିତ କରିବାକୁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।
ସମ୍ଭାବ୍ୟ ବର୍ଷା ଓ ବନ୍ୟା ପରିସ୍ଥିତିକୁ ମୁକାବିଲା କରିବା ସହ ଜିରୋ କାଜୁଆଲିଟି ଲକ୍ଷ୍ୟ ହାସଲ ପାଇଁ ଜିଲ୍ଲା ପ୍ରଶାସନ ସମସ୍ତ ପ୍ରକାର ଆଗୁଆ ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଛି।
ଛତ୍ରପୁର ରୁ ପ୍ରଶାନ୍ତ କୁମାର ମହାରଣା, ତେଜ୍ ଓଡିଶା ।

0 Comments