Tej Odisha News

ବାତ୍ୟା ପ୍ରଭାବରେ ୫ ଦିନ ବର୍ଷା, ୧୮ରୁ ଓଡ଼ିଶାକୁ ସତର୍କ ସୂଚନା




ଭୁବନେଶ୍ୱର (୧୭/୧୧/୨୦୨୬) ବାତ୍ୟାର ପ୍ରଭାବରେ ଭିଜିବ ଓଡ଼ିଶା। ଆସନ୍ତା ୧୮ ତାରିଖରୁ ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲାଗି ରହିବ ବର୍ଷା। କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ଆସନ୍ତାକାଲି ପାଇଁ ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ସେହିପରି ୧୯ ତାରିଖରେ ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ୨୧ ତାରିଖରେ ପଶ୍ଚିମ ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ସମେତ ଦକ୍ଷିଣ ଓଡ଼ିଶାର ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

୧୯, ୨୦ ଓ ୨୧ ତାରିଖରେ ଲଗାତାର ତିନିଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସହ ପବନର ପ୍ରଭାବ ରହିବା ସମ୍ଭାବନା ରହିଛି। ଏପଟେ ବାତ୍ୟା ପ୍ରଭାବରେ ସମୁଦ୍ର ମଧ୍ୟ ଅଶାନ୍ତ ରହିବ। ଏଥିପାଇଁ ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ଏବେ ସମୁଦ୍ର ମଧ୍ୟରେ ଅଛନ୍ତି, ସେମାନଙ୍କୁ ତୁରନ୍ତ ସୁରକ୍ଷିତ ଭାବେ କୂଳକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି।

ତେବେ ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସତର୍କ ରହିବା ସହ ପାଣିପାଗ ବିଭାଗର ନିୟମିତ ସୂଚନା ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।

ବ୍ୟୁରୋ ରିପୋର୍ଟ, ତେଜ୍ ଓଡିଶା 





Post a Comment

0 Comments